Independence Day Book Fair - 75% flat discount all physical books and all E-books for free! Use coupon code "FREE75". Click here
Independence Day Book Fair - 75% flat discount all physical books and all E-books for free! Use coupon code "FREE75". Click here

Sudhakar Pradhan

Classics


3  

Sudhakar Pradhan

Classics


ଡାକ ମୁନ୍‌ସି - ୨

ଡାକ ମୁନ୍‌ସି - ୨

4 mins 334 4 mins 334

ଫକୀରମୋହନ ସେନାପତି

ହରି ସିଂହଙ୍କର ଆର୍ତ୍ତ ପ୍ରାର୍ଥନା ଦୀନବନ୍ଧୁ ପ୍ରଭୁ ଭଗବାନ୍‌ ଶୁଣିଲେ। ଗୋପାଳ ମାଇନର ପାସ୍‌ କଲା। ସିଂହଙ୍କର ଆନ୍ଦର ସୀମା ନାହିଁ। ସେହି ପୁରୁଣା ପୋଷ୍ଟମାଷ୍ଟର ବାବୁ ଅଛନ୍ତି, ସିଂହେ ତାଙ୍କୁ ଧରି ବହୁତ ନିବେଦନ କଲେ। ଉପର ହାକିମମାନଙ୍କର ମଧ୍ୟ କିଛି ଅନୁଗ୍ରହ ଥିଲା, ଗୋପାଳ ଏକାବେଳକେ ମଫସଲ ମକ୍ରାମପୁର ପୋଷ୍ଟ ଅଫିସରେ ସବ୍‌ ପୋଷ୍ଟମାଷ୍ଟର ନିଯୁକ୍ତ ହେଲେ, ବେତନ ମାସକୁ କୋଡ଼ିଏ ଟଙ୍କା। ବର୍ତ୍ତମାନ ସଦର ପୋଷ୍ଟଅଫିସରେ ଚାରିମାସ କାମ ଶିଖି ମଫସଲ ଯିବେ।

ହରି ସିଂହଙ୍କର ଆନନ୍ଦର ସୀମା ନାହିଁ; ଅନବରତ ପ୍ରଭୁଙ୍କ ଅନାଇ ମୁଣ୍ଡିଆ ମାରି ମାରି ଜଣାଉଛନ୍ତି, “ଧନ୍ୟ ପ୍ରଭୁ ତୁମ୍ଭର କରୁଣା, ଦୁଃଖୀର ଗୁହାରି ଶୁଣିଲ।” ଚାକିରି ଖବର ଆସିବା ଦିନ ରାତିରେ ବୁଢ଼ା ସିଂହେ ନିରୋଳାରେ ବସି ଢେର କାନ୍ଦିଲେ। ହାୟ ! ଆଜି ବୁଢ଼ୀ ଥିଲେ କେଡ଼େ ଆନନ୍ଦଟା ହୁଅନ୍ତେ, ତାଙ୍କ ଗୋପାଳ ହାକିମ ଚାକିରି ପାଇଲା, ଆନନ୍ଦ ଉତ୍ସବରେ ଗଡ଼ି ଯାଉଥାନ୍ତେ। ହାୟ ! ଅଭାଗୀ କପାଳିରେ ଦେଖିବାକୁ ନାହିଁ। ହେଉ ହେଉ, ଗୋପାଳ ତ ହାକିମ ହେଲା। ପ୍ରଭୁ ଗୋପାଳଟିକୁ ରକ୍ଷାକରନ୍ତୁ।

ଗୋପାଳ ପ୍ରଥମ ମାସ ଦରମାଟା ପାଇ ବୁଢ଼ା ହାତରେ ଦେଲେ। ବୁଢ଼ାର ଆନନ୍ଦ କହିଲେ ନ ସରେ, ଗୋଡ଼ ତଳେ ପଡୁନାହିଁ। ପୁଅ ହାକିମ; ଏତେ ଗୁଡ଼ାଏ ଟଙ୍କା ମାସକ ମଧ୍ୟରେ ଆଣିଲା। ଟଙ୍କା ଗୁଡ଼ାକ ଚାରି ପାଞ୍ଚ ଥର ଗଣି ଅଣ୍ଟିରେ ବାନ୍ଧି ଶୋଇଲେ। ଆରଦିନ ସକାଳେ ଲଣ୍ଡଭଣ୍ଡ ହୋଇ ବଜାରକୁ ଧାଇଁଲେ। ଜୁତା, କୁରୁତା, ଲୁଗା ଯାହା ଯାହା ଦରକାର କିଣାଗଲା। ଗୋପାଳ ଯେ ହାକିମ ହେଲାଣି, ସେ କଣ ଯେ ସେ ଲୁଗା ପିନ୍ଧିବ ? ଭେକ ଦେଖି ସିନା ଭିକ। ସେହିପରି ପୋଷାକ ଲୋଡ଼ା।

ଏଣେ ଗୋପାଳବାବୁ ଅଫିସରେ ପାଞ୍ଚଜଣ ବାବୁଙ୍କ ସାଙ୍ଗରେ ବସି ଇଂରାଜୀ ଲେଖନ୍ତି। ବାବୁମାନଙ୍କ ସହିତ ସବୁବେଳେ କାରବାର, ସମସ୍ତେ ଡାକନ୍ତି ‘ଡାକ ମୁନ୍‌ସି ବାବୁ’, ପୁରା ନାମ ଗୋପାଳଚନ୍ଦ୍ର ସିଂହ। ଏଣେ ବସାରେ ଆସି ଦେଖନ୍ତି କଣ, ନା ବୁଢ଼ାଟା ଧୂଳିଆ ଲୁଗା ଖଣ୍ଡେ ପିନ୍ଧି କାମରେ ଲାଗିଛି, ଗୋପାଳ କିମିତି ଭଲ କରି ଦିଟା ଖାଇବ- ଗୋପାଳ ଗାଧେଇ ଗଲା, ଓଦା ଲୁଗା ଶୁଖି ନାହିଁ-ପିଲାଟା କାମ କରି କରି ଧନ୍ଦି ଗଲାଣି, ଏହି ସମସ୍ତ ଦିନ ରାତି ଚିନ୍ତା। ଆଗେ ବୁଢ଼ା ସିଂହେ ବେଳେ ବେଳେ ହରିନାମ କରୁଥିଲେ, କିଛି କିଛି ଧର୍ମ କର୍ମ କରୁଥିଲେ, ଏବେ ଗୋପାଳ ବାବୁଙ୍କ ପାଇଁ ସବୁ ଭୁଲିଗଲେଣି। ବୋଧ କରି, ହରି ଏ ସବୁ ଦେଖି ବୁଢ଼ା ଉପରେ ଖପା ହୋଇ ଗଲେଣି- ଧମକାଇ କହିଲେ, ‘ଆରେ ନିର୍ବୋଧ ଏ କଣ ରେ ! ଆଚ୍ଛା ବୁଝିବୁ !’

ଏଣିକି ଗୋପାଳ ବାବୁଙ୍କର ଭାବ କିଛି କିଛି ବଦଳି ଗଲାଣି। ଏବେ ବାପକୁ ଦେଖିଲେ ମିଛଟାରେ ହେଲେ ରଗରଗ ସିଂ ସିଂ ହୁଅନ୍ତି। ଏଟା ମୁର୍ଖ, ଇଂରାଜୀ ଜାଣେ ନାହିଁ-ମୂଲିଆ-ମଳିଆ ଲୁଗା ପିନ୍ଧିଥାଏ, ଏଟାକୁ ବାପ ବୋଲି ଡାକିବି, ଲୋକେ କଣ କହିବେ ! ସେ ଦିନ ଶିକ୍ଷିତା କେତେ ଜଣ ସ୍ତ୍ରୀଲୋକ ସେମିଜ ପିନ୍ଧି ପୋଷାକ ପିନ୍ଧି ଠିଆ ହୋଇଥିଲେ-ବୁଢ଼ାଟା ଦେହରେ କୁରୁତା ନାହିଁ, ସେମାନଙ୍କ ଆଗ ଦେଇ ଚାଲିଗଲା। କି ଲଜ୍ଜା, କି ଲଜ୍ଜା, ଏଟାକୁ ବସାରୁ ନ ତଡ଼ିଲେ ଆଉ ଇଜ୍ଜତ ରହିବ ନାହିଁ।

ଦିନେ ଡାକ ମୁନ୍‌ସି ବାବୁ ବାପକୁ କହିଦେଲେ, “ଦେଖ, ତୁମେ ମୋର କିଛି ଉପକାର କାରି ନାହଁ, ଇଚ୍ଛା ହେଲେ ବସାରେ ରହ, ନୋହିଲେ ଚାଲିଯାଅ। ଆଉ ଦେଖ, ବାବୁମାନେ ଆମ ଦୁଆରକୁ ଆସିଲେ ତୁମେ ଘରୁ ବାହରିବ ନାହିଁ।” ଗୋପାଳ କଥା ଶୁଣି ବୁଢ଼ାର କାନ ମୁଣ୍ଡ ଭାଁ ଭାଁ କଲା, ଚୁପ୍‌ ହୋଇ ବସି ପଡ଼ିଲା। କାହାକୁ କହିବ ? ପୁଅ କଥା; ଅଜାଗା ଘା ଦେଖି ହୁଏ ନାହିଁ, ଦେଖାଇ ହୁଏ ନାହିଁ। ଯାହାକୁ ମନର କଥା କହନ୍ତା, ସେ ଯାଇଛି।ବୁଢ଼ୀ କଥା ମନରେ ପଡ଼ିଲା, ଢେର କାନ୍ଦିଲା, ଚାରିଆଡ଼କୁ ଅନାଇଲା କେହି ଭରସା ନାହିଁ। ବୁଢ଼ା ଦୁଃଖ ବେଳେ ବୁଢ଼ୀ କଥା ମନରେ କରେ, ସୁଖ ବେଳେ ମନରେ କରେ। ମୁହଁ ପୋଛିଲା, ଆଉ କାନ୍ଦିଲା ନାହଁ, ଗୋପାଳର କାଳେ ଅମଙ୍ଗଳ ହେବ।

ଗୋପାଳ ବାବୁ କାଲି ସକାଳେ ମଫସଲର କାମ ଜାଗାକୁ ଯିବେ, ବୁଢ଼ାକୁ ଜଣାଇ ନାହାଁନ୍ତି। ସକାଳୁ ଉଠିଲେ, ଅବଜ୍ଞାଭାବରେ କହିଲେ, “ଏ ବାବା, ମୁଁ ମଫସଲ ବାହାରିଲି। ଏହି ଜିନିଷପତ୍ର ସବୁ ଘେନି ଆସ। କେତେ ବା ଜିନିସ, ବୁଝି ଖବରଦାର, ମୁଲିଆ କରିବ ନାହିଁ, କଲେ ତୁମେ ଜାଣ ମୁଁ ପଇସା ଦେବି ନାହିଁ।” ବାବୁ ପୋଷାକ ପିନ୍ଧି କାଖରେ ଛତା ଯାକି ବାଡ଼ି ଘୂରାଇ ଘୂରାଇ ଚାଲିଗଲେ। ବୁଢ଼ା କଣ କରିବ, ସବୁ ଜିନିସ ରୁଣ୍ଡାଇ ପୁଣ୍ଡାଇ ଗୋଟାଏ ଗଣ୍ଠିରି ବାନ୍ଧି ମୁଣ୍ଡାଇଲା। ଚାଲି ପାରୁ ନାହିଁ, ଦେହରେ ବଳ ନାହିଁ, ଆଖିରୁ ବେଳେ ବେଳେ ପାଣି ବହି ପଡୁଛି, ଦଶ ଜାଗା ବସି ଉଠି ସଞ୍ଜ ସରିକି ମକ୍ରାମପୁରରେ ପହଞ୍ଚିଲା। ଡେରି ହେବାରୁ ବାବୁ ଫଜିତଟାଏ କଲେ, ବୁଢ଼ା ଗୁମ୍‌ ହୋଇ ବସି ଥକା ମେଣ୍ଟାଉଥାଏ।

ବାବୁ ସକାଳେ ସଞ୍ଜ ଅଫିସକୁ ଯାନ୍ତି, ବୁଢ଼ାଟା ମୁହଁ ବୁଜି ବସାରେ କାମ ପାଇଟିରେ ଲାଗିଥାଏ। ବାପ ପୁଅ ଦୁଇଜଣ ଏକ ଜାଗାରେ ବସି ଦୁଇଟା ସୁଖ ଦୁଃଖ କଥା ହେଉଛନ୍ତି, ଏ କଥା କେହି କେବେ ଦେଖିନାହିଁ। ଡାକମୁନସି ହେଲେ ମଫସଲର ଗୋଟାଏ ହାକିମ। କେତେ ଲୋକ ଆସି ଦଣ୍ଡବତ କରି ଯାଉଛନ୍ତି, ମୁର୍ଖ ବୁଢ଼ାଟା କଣ ଜାଣେ ଯେ ତା ସାଙ୍ଗରେ କଥା କହିବେ !

ବୁଢ଼ା ଦେହରେ ମଫସଲର ପାଣି ଚଳିଲା ନାହିଁ, ଜର ହେଲେ ଖୁଁ ଖୁଁ କରି କାଶେ, ସେ କାଶଟା ରାତିକି ବେଶି ହୁଏ। ବାବୁ ଶୋଇବାରେ ହରକତ ହେଲେ। ପିଅନକୁ ହୁକୁମ ଦେଲେ, “ବୁଢ଼ାଟାକୁ କିଆବାଡ଼ରେ ଫୋପାଡ଼ି ଦେଇ ଆସ।” ସେ ପିଅନଟା ମୁର୍ଖ; ଇଂରାଜୀ ପଢ଼ି ନାହିଁ, ତାର ଗୋଟାଏ ଦେଶୀ ହୃଦୟ ଅଛି, ବିଚାର କଲା ‘କଣ ଏ ? ବୁଢ଼ା ରୋଗୀଟିକୁ କିଆ-ବାଡ଼ରେ ଶୁଆଇ ଦେବି?’ ଦିନେ ବୁଢ଼ାର ଭାରି ଜର, ତିନିଦିନ ଖାଇ ନାହିଁ, ଅଧରାତି, ଅନ୍ଧାର, ଥଣ୍ଡା ପାଇ ବୁଢ଼ାର କାଶ ବଳି ପଡ଼ିଲା। ବାବୁ ତ ଭାରି ଖପା, ବୁଢ଼ା ଛାତିରେ ଦୁଇଟା ଇଂରାଜୀ ଘୂଷି ମାରିଲେ, ବିଛଣାପତ୍ର ବାହାରକୁ ଫୋପାଡ଼ି ପାଖରେ ଥିବା ଖୁବ୍‌ ଭଲ ଲୋକଙ୍କଠାରୁ ଶୁଣା ଯାଇଛି, ଗୋପାଳ ବାବୁଙ୍କ ମନ ସେହିଦିନଠାରୁ ବଡ଼ ଖୁସି। ଆଉ ଏଣେ ବୁଢ଼ା ଗାଁକୁ ଆସି ତାହାର ଯେଉଁ ଦୁଇ ମାଣ ଜମି ଥିଲା ଭାଗରେ ଲଗାଇଦେଲା, ଘରେ ବସି ଧାନ ପାଏ। ପେନସନ୍‌ ଟଙ୍କାରେ ଲୁଗାପଟା, ଲୁଣ ତେଲ ଖର୍ଚ୍ଚ ଚଳେ। କାଶ ହେଲା ଦିନଠୁଁ ବୁଢ଼ା ଟିକିଏ ଟିକିଏ ଅଫିମ ଧରିଛି। ସବୁ ଖର୍ଚ୍ଚ ଚଳେ, ଘରଠାରେ ପିଣ୍ଡାରେ ବସି ହରିନାମ କରେ। ଉଛୁଣି ବାପ ପୁଅ ଦୁହେଁ ଖୁସି। ପରର ସୁଖ ଦେଖି ପାଠକ ମହାଶୟ ଖୁସି ହଦେଲେ।


Rate this content
Log in

More oriya story from Sudhakar Pradhan

Similar oriya story from Classics