ଓଡ଼ିଆ ଗଳ୍ପ ଓ କବିତା - ୨

Classics

2  

ଓଡ଼ିଆ ଗଳ୍ପ ଓ କବିତା - ୨

Classics

ଡାକ ମୁନସୀ – ୧

ଡାକ ମୁନସୀ – ୧

4 mins
7.1K


ହରି ସିଂହ ସରକାରୀ କର୍ମରେ ବାହାଲ ହେବା ଦିନଠାରୁ ମଫସଲର ସାନ ବଡ଼ ଅନେକ ପୋଷ୍ଟ ଅଫିସ୍‌କୁ ବଦଳି ହୋଇ କର୍ମ ଇଞ୍ଜାମ କରି ଆସିଲେଣି । ଆଜକୁ ଦଶ ବରଷ ହେଲା କଟକ ସଦର ପୋଷ୍ଟଅଫିସ୍‌ରେ ବରାବର ରହି କର୍ମ କରୁଛନ୍ତି । ଭଲରୂପେ କର୍ମ କରିବାରୁ ପ୍ରମୋଶନ ପାଇଲେଣି । ବର୍ତ୍ତମାନ ହେଡ଼ ପିଅନ, ଦରମା ମାସକୁ ନଅ ଟଙ୍କା । କଟକ ସହରରେ ସବୁ ଜିନିଷ କିଣା । ନିଆଁ ଟିକକ ପାଇଁ ଦିଆସିଲ୍‌ ଲାଇଟା ମଧ୍ୟ ନ କିଣିଲେ ନୁହେଁ । ଅତି କଷ୍ଟରେ ଚଳି ସୁଦ୍ଧା ମାସକୁ ପାଞ୍ଚ ଟଙ୍କାରୁ ଊଣା ଖରଚ ପଡ଼େ ନାହିଁ । କୌଣସି ରୂପେ ଘରକୁ ଚାରିଟଙ୍କା ନ ପଠାଇଲେ ନୁହେଁ । ଘରେ ସ୍ତ୍ରୀ ଆଉ ଆଠ ବରଷର ପୁଅ ଗୋପାଳ । ମଫସଲ ଜାଗା, ଚାରି ଟଙ୍କାରେ କୌଣସି ରୂପେ ଟାଣଟୁଣ ହୋଇ ଚଳିଯାଏ । ସେଥିରୁ ପଇସାଏ ଊଣା ହେଲେ ଅଚଳ । ଗୋପାଳ ଅପର ପ୍ରାଇମେରୀ ସ୍କୁଲରେ ପଢ଼େ । ସ୍କୁଲରେ ଦରମା ମାସକୁ ଦୁଇଅଣା । ସ୍କୁଲ ଦରମା ଛଡ଼ା ଆଜି ବହି ଖଣ୍ଡେ, କାଲି ସ୍ଲେଟ୍‌ କାଗଜ ଏ ସବୁ ଜିନିଷ କିଣିବାକୁ କେବେ କେବେ କିଛି କିଛି ବେଶି ଖରଚ ପଡ଼େ । ଏପରି ଉପୁରି ଖରଚ ପଡ଼ିଗଲେ ସେ ମାସରେ ଭାରି କଷ୍ଟ । ଦିନେ ଦିନେ ବୁଢ଼ାକୁ ଉପାସ ରହିଯିବାକୁ ହୁଏ । ଉପାସ ହେଉ ପଛେ, ମୋ ଗୋପାଳଟି ପଢ଼ୁ ।

ଦିନେ ପୋଷ୍ଟମାଷ୍ଟର ସର୍ଭିସ୍‌ ବୁକ୍‌ ଦେଖି କହିଲେ, “ହରି ସିଂହ, ତୁମ୍ଭର ପଞ୍ଚାବନ ବର୍ଷ ବୟସ ହୋଇଗଲା, ପେନ୍‌ସନ୍‌ ନେବାକୁ ହେବ, ଆଉ ଚାକିରି କରି ପାରିବି ନାହିଁ ।” ସିଂହଙ୍କ ମୁଣ୍ଡରେ ତ ବଜ୍ର ଭାଙ୍ଗି ପଡ଼ିଲା । କଣ କରିବେ, ସଂସାର ଚଳିବ କିପରି ? ସଂସାର ଯାହାହେଉ, ଗୋପାଳର ଯେ ପଢ଼ା ବନ୍ଦ । ଗୋପାଳ ଜନ୍ମଦିନଠାରୁ ସିଂହେ ମନ ମଧ୍ୟରେ ଭାରି ଗୋଟାଏ ଉଚ୍ଚ ଆଶା ପୋଷିଛନ୍ତି-ଗୋପାଳ ମଫସଲ ପୋଷ୍ଟଅଫିସ୍‌ରେ ସବ୍‌ପୋଷ୍ଟମାଷ୍ଟର ହେବ-ଅତି ନିକୁଛରେ ଭିଲେଜ୍‌ ପୋଷ୍ଟମାଷ୍ଟର ହେବ । ମାତ୍ର ଟିକିଏ ଇଂରାଜୀ ନ ଜାଣିଲେ ତେଡ଼େବଡ଼ ଚାକିରିଟା ମିଳିବା ମୁସ୍କିଲ । ମଫସଲରେ ସୁବିଧା ନାହିଁ, କଟକ ଆଣି ଇଂରାଜୀ ପଢ଼ାଇବାକୁ ହେବ । ଚାକିରି ଗଲେ ତେଡ଼େବଡ଼ ଆଶାରୁ ଏକାବେଳକେ ନିରାଶ । ସବୁବେଳେ ସେହି କଥା ଭାବି ଭାବି ଦେହଟା କଳାକାଠ ପଡ଼ିଗଲାଣି । ଦିନେଦିନେ ରାତିରେ ନିଦ ହୁଏ ନାହିଁ, ଭାବି ଭାବି ରାତି ପାହିଯାଏ । ସିଂହଙ୍କ ଉପରେ ପୋଷ୍ଟମାଷ୍ଟର ବାବୁଙ୍କର ଭାରି ମେହେରବାନି । ବସାରେ ମୁକରରି ଚାକର ଥିଲେ ମଧ୍ୟ ସରକାରୀ କାମ ସାରି ସଞ୍ଜବେଳେ ସିଂହେ ବାବୁଙ୍କ ବସାରେ ଦୁଇ ଚାରିଟା କାମଦାମ କରିଦେଇ ଆସନ୍ତି । ସଞ୍ଜବେଳେ ଗୋଟାଏ ଆରାମ୍‌ ଚୌକିରେ ପଡ଼ି ବାବୁ ଇଂରାଜୀ ଖବରକାଗଜ ପଢ଼ିବାବେଳେ ସିଂହେ ଯେଉଁ ମିଠା କଡ଼ା ଗୁଡ଼ାଖୁ ଚିଲମେ ସାଜି ଦିଅନ୍ତି, ସେପରି କେହି ଜାଣେ ନାହିଁ । ଦିନେ ସଞ୍ଜବେଳେ ସିଂହେ ଭଲ କରି ଗୁଡ଼ାଖ ଚିଲମେ ସାଜି ଆଣି ଭଲ କରି ଚିଲମଟା ଫୁଙ୍କିଦେଲେ । ବାବୁଙ୍କ ମୁହଁରୁ ଇଞ୍ଜିନ ପାଇପ୍‌ରୁ ବାହାରିଲା ପରି ଧୁଆଁଗୁଡ଼ାକ ଭକ୍‌ ଭକ୍ କରି ବାହାରୁଛି, ଟିକିଏ ଟିକିଏ ଆଖି ବୁଜି ଆସିଲାଣି । ସିଂହେ ବୁଝି ନେଲେ ଏହିଟା ଠିକ୍‌ ସମୟ । ସିଂହେ ବାବୁଙ୍କ ଗୋଡ଼ତଳେ ଦଣ୍ଡବତ ହୋଇ ହାତ ଯୋଡ଼ି ଖୁବ୍‌ ଭକ୍ତିରେ, ଖୁବ୍‌ ବିନୟରେ, ଖୁବ୍‌ ଧୀରେ, ଖୁବ୍‌ ମିଠା କଥାରେ ଆପଣାର ଦୁଃଖ ହାଲ ଚୁମ୍ବକ ଚୁମ୍ବକ ସମସ୍ତ କଥା ଜଣାଇଲେ । ଗୋପାଳ ସମ୍ବନ୍ଧରେ ତାଙ୍କର ଯେଉଁ ଉଚ୍ଚ ଆଶା, ତାହା ମଧ୍ୟ ଜଣାଇବାକୁ ପାସୋରିଲେ ନାହିଁ ।

ବାବୁ ସେହିପରି ନୟନ ମୁଦ୍ରିତାବସ୍ଥା-ଧୀର ଗମ୍ଭୀର ଭାବରେ କହିଲେ, “ଆଚ୍ଛା, ଦରଖାସ୍ତ ଖଣ୍ଡେ ଲେଖି ଆଣ ।” ବାବୁଙ୍କର ସାହସ ଥିଲା, କାରଣ ପୋଷ୍ଟାଲ ଇନ୍‌ସ୍ପେକ୍ଟର ବା ସୁପରିଣ୍ଟେଟେଣ୍ଡେଣ୍ଟ୍‌ ବାବୁମାନେ ଆସିଗଲେ ପୋଷ୍ଟମାଷ୍ଟର ବାବୁଙ୍କ ବସାରେ ରହନ୍ତି । ଉପର ହାକିମମାନଙ୍କ ମନସ୍ତୁଷ୍ଟି ପାଇଁ ଖାଦ୍ୟପେୟ ବିଷୟରେ ଯେପରି ଆୟୋଜନ ହେବାର ଉଚିତ୍‌, ସେଥିରୁ ତ୍ରୁଟି ହୁଏ ନାହିଁ । ସେ ରାତ୍ରରେ ପୋଷ୍ଟମାଷ୍ଟର ବାବୁ ‘ହରି ସିଂ, ହରି ସିଂ’ କରି ଦଶଥର ପାଟି କରୁଥିବାର ଶୁଣାଯାଏ । ହରି ସିଂହେ, ପୁରୁଣା ଲୋକ, ଢେର ଢେର ହାକିମହୁକୁମା ଅମଳ କଲେଣି । କାହାର କି ରକମ ମିଜାଜ, କିଏ କାହିଁରେ ଖୁସି, ଜାଣନ୍ତି । ସେ ଦିନ ଅଧରାତିଯାଏ ସିଂହଙ୍କୁ ବାବୁଙ୍କ ବସାରେ ରହିବାକୁ ହୁଏ । କାରଣ ଓଡ଼ିଶାର କଦର୍ଯ୍ୟ ହାଓଆ ହେତୁରୁ କେହି ବାବୁ ହଠାତ୍‌ ପୀଡ଼ିତ ହୋଇ ବାନ୍ତିଫାନ୍ତି କରି ପକାଇଲେ ହରି ସିଂହେ ସୋଡ଼ା କାଗଜିଲେମ୍ବୁ ପ୍ରଭୃତି ହାଜର କରାଇ ବାବୁଙ୍କୁ ସମ୍ଭାଳି ନିଅନ୍ତି । ବାବୁମାନେ ଆରାମରେ ଶୟନ କଲା ଉତ୍ତାରେ ସିଂହେ ଅଧରାତିରେ ବସାକୁ ଯାଇ ଆପଣା ପାଇଁ ରୋଷେଇ କରନ୍ତି । ଏହି ସୂତ୍ରରେ ସିଂହେ ଉପରବାଲା ହାକିମମାନଙ୍କଠାରେ ପରିଚିତ । ହରି ସିଂହଙ୍କ ଦରଖସ୍ତ ପିଠିରେ ପୋଷ୍ଟମାଷ୍ଟର ବାବୁ ଭଲ ରୂପେ ସୁପାରିସ କରି ସଦରକୁ ପଠାଇ ଦେଲେ, ଅଳ୍ପଦିନ ମଧ୍ୟରେ ଏକଷ୍ଟେନ୍‌ସନ୍‌ ହୁକୁମ ପହଞ୍ଚଲା । ସିଂହେ ତ ମହାଖୁସି, ଏହି ଖୁସି ଖବରଟା ଗାଁକୁ ଲେଖି ପଠାଇଲେ । ବର୍ତ୍ତମାନସର୍ବସ୍ଵ ଲୋକ ଉପସ୍ଥିତ ସୁଖ ବା ଦୁଃଖରେ ବିମୋହିତ ହୋଇ ପଡ଼ିଥାନ୍ତି । ଭବିଷ୍ୟତ ବିଧାତା ତାଙ୍କ ପାଇଁ କଣ ବିଧାନ କରୁଛନ୍ତି, ତେଣିକି ଥରେ ହେଲେ ଅନାଇବା ଦରକାର ମଣନ୍ତି ନାହିଁ । ସିଂହଙ୍କର ଏତେ ବଡ଼ ଆନନ୍ଦଟା ପାଣିଫୋଟକା ପରି ଫାଟିଗଲା । ଘରଠାରୁ ଚିଠି ଆସିଲା, ଗୋପାଳ ମାଆର ସନ୍ନିପାତ ରୋଗ, ଜୀବନର ଆଶା ନାହିଁ । ସିଂହେ ପୋଷ୍ଟମାଷ୍ଟର ବାବୁଙ୍କୁ ଚିଠିଖଣ୍ଡକ ଦେଖାଇଲେ । ବାବୁ ବଡ଼ ଦୟାଳୁ ଲୋକ, ତତ୍‌କ୍ଷଣାତ୍‌ ଛୁଟି ଦେଲେ । ସିଂହେ ଏକନିଶ୍ଵାସରେ ଘରକୁ ଧାଇଁଲେ, ଘରେ ପହଞ୍ଚି ଯାହା ଦେଖିଲେ, ତାଙ୍କ ଆଖିର ଜ୍ୟୋତି ହଜିଗଲା । ଜଗତଟା ଯେମନ୍ତ ଅନ୍ଧକାରମୟ । ବୁଢ଼ୀର କଥା ଶେଷ ପ୍ରାୟ ହେଲାଣି । ସ୍ବାମୀଙ୍କୁ କ୍ଷୀଣ ଦୃଷ୍ଟିରେ ଭଲ କରି ଅନାଇଲେ, ଦୁଇ ହାତ ଅଳ୍ପ ଉଠାଇ ଦଣ୍ଡବତ କଲେ, ସ୍ବାମୀଙ୍କ ଗୋଡ଼ଧୂଳି ନେବାକୁ ଠାରିଲେ । ସେହି ଧୂଳି ଟିକେ ପାଇଁ କି ଅନାଇ ରହିଥିଲେ ? ସବୁ ଶେଷ ହେଲା ! ସିଂହଙ୍କର ପ୍ରକୃତ ଗୃହ ଭଗ୍ନ ହେଲା । ସେ ଘର ମାଲମତା ଦୁଇ ଖଣ୍ଡ ବିକି ପିଲାଟିକୁ ଧରି କଟକ ପଳାଇ ଆସିଲେ ।


Rate this content
Log in

Similar oriya story from Classics